Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୭ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଏହା ଆହୁରି ସକ୍ରିୟ ହୋଇ ସୁଦୃଢ଼ ଲଘୁଚାପରେ ପରିଣତ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଲଘୁଚାପର ପ୍ରଭାବରେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ। କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି | ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗ ସୂଚନା ଅନୁସାରେ, ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୁବର୍ଣ୍ଣପୁର, କନ୍ଧମାଳ ଓ ବରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ସହ ରାଜ୍ୟର ଅନ୍ୟ ୧୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୩ରୁ ୪ ତାରିଖ ପର୍ଯ୍ୟନ୍ତ ମାଲକାନଗିରି ଓ କୋରାପୁଟ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ, ଏବଂ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ଲଗାଣ ବର୍ଷା ଯୋଗୁଁ ଭୁବନେଶ୍ୱର-କଟକ ସମେତ ଅନେକ ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଦୁଇ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ଆଜି ଓ ଆସନ୍ତାକାଲି ସ୍କୁଲ ଛୁଟି ରହିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ