ଅଗଷ୍ଟ ୧୫ ଯାଏଁ ଲାଗି ରହିବ ବର୍ଷା! ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସତର୍କତା
ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ବର୍ଷାର ପ୍ରକୋପ ବଢ଼ିବାର ସମ୍ଭାବନା ରହିଛି। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ର ଉପକୂଳ ନିକଟରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବୁଧବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବିଶେଷକରି ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ପାଣିପାଗ ବିଭାଗ ସୂଚନା ଅନୁସାରେ ମୟୂରଭଞ୍ଜ ଜିଲ୍ଲାରେ ସବୁଠାରୁ ଅଧିକ ବର୍ଷା ହେବାର ଆଶଙ୍କା ରହିଛି। ଏହାଛଡ଼ା ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ନୟାଗଡ଼ ଜିଲ୍ଲାରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହୋଇପାରେ। ୬ ତାରିଖରେ ମଧ୍ୟ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଜାରି ରହିବ। ପ୍ରାଥମିକ ଆକଳନ ଅନୁସାରେ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ |
ଏପଟେ ସୋଆ ବିଶ୍ୱବିଦ୍ୟାଳୟର ପରିବେଶ ଓ ଜଳବାୟୁ କେନ୍ଦ୍ରର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି, ୭ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୯ କିମ୍ବା ୧୦ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ୭ ତାରିଖରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଆହୁରି ବଢ଼ିବ। ୧୧ କିମ୍ବା ୧୨ ତାରିଖ ପର୍ଯ୍ୟନ୍ତ ଏହି ଅଞ୍ଚଳରେ ପ୍ରବଳ ବର୍ଷା ଜାରି ରହିବା ପରେ କେନ୍ଦ୍ରୀୟ ଓ ପଶ୍ଚିମ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିପାରେ। ସାମଗ୍ରିକ ଭାବେ ଅଗଷ୍ଟ ୧୪ କିମ୍ବା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି।

