Odisha Cyclone Alert: ପୁଣି ଏକ ବାତ୍ୟା ଆଶଙ୍କା! ୨୭-୨୮ରେ ପ୍ରବଳ ବର୍ଷା, ହାଇ ଆଲର୍ଟରେ ରାଜ୍ୟ ସରକାର
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ସମ୍ଭାବ୍ୟ ବାତ୍ୟାର ରୂପ ନେବା ଆଶଙ୍କା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD)ର ପୂର୍ବାନୁମାନ ଅନୁସାରେ, ଏହା ଅକ୍ଟୋବର ୨୪ରେ ଅବପାତ, ୨୫ରେ ଗଭୀର ଅବପାତ ଏବଂ ୨୬ ତାରିଖ ସକାଳ ସୁଦ୍ଧା ବାତ୍ୟାରେ ପରିଣତ ହୋଇପାରେ। ପରେ ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି। ତେବେ ବାତ୍ୟାର ନିର୍ଦ୍ଦିଷ୍ଟ ଗତିପଥ, ତୀବ୍ରତା ଓ ସ୍ଥଳଭାଗ ଛୁଇଁବା ସ୍ଥାନ ନେଇ ଏଯାଏଁ ସ୍ପଷ୍ଟ ଆକଳନ ହୋଇନାହିଁ।
ସମ୍ଭାବ୍ୟ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଅକ୍ଟୋବର ୨୭ ଓ ୨୮ ତାରିଖରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲା ପାଇଁ ୨୭ ତାରିଖରେ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୮ ତାରିଖରେ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହା ସହ ଉପକୂଳରେ ପବନର ବେଗ ବଢ଼ିବା ଓ ସମୁଦ୍ର ଅଶାନ୍ତ ହେବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା ପାଇଁ ସତର୍କ କରାଯାଇଛି।
ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପ୍ରଭାବିତ ହୋଇପାରୁଥିବା ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ କହିଛି। ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରଖିବା, ଆବଶ୍ୟକ ପଡ଼ିଲେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ଏବଂ ଉଦ୍ଧାରକାରୀ ଦଳକୁ ପ୍ରସ୍ତୁତ ରଖିବା ଉପରେ ଗୁରୁତ୍ୱ ଦିଆଯାଇଛି। ତେବେ ବାତ୍ୟାର ପ୍ରକୃତ ପ୍ରଭାବ ନେଇ ଚିତ୍ର ଆଗାମୀ ପାଣିପାଗ ସୂଚନା ମିଳିବା ପରେ ଅଧିକ ସ୍ପଷ୍ଟ ହେବ। ତେଣୁ ଲୋକଙ୍କୁ ଆତଙ୍କିତ ନହୋଇ IMD ଓ ସରକାରୀ ପ୍ରଶାସନର ସରକାରୀ ସୂଚନା ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି।

