ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା; ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ବର: ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିପାଇଁ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହି ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର। ଏହି ସବୁ ଜିଲ୍ଲା‌ରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ତାରିଖରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ ବୋଲି କହିଛି ପାଣିପାଗ କେନ୍ଦ୍ର।