ଦଣ୍ଡାଦେଶ ଉପରେ ରୋକ୍ ପାଇଁ ରାହୁଲଙ୍କ ଯାଚିକା ମଞ୍ଜୁର, ୨୧ରେ ଶୁଣାଣି କରିବେ ସୁପ୍ରିମକୋର୍ଟ


ନୂଆଦିଲ୍ଲୀ: ରାହୁଲ ଗାନ୍ଧୀ ‘ମୋଦୀ ସାଙ୍ଗିଆ’ ମାନହାନୀ ମାମଲାରେ ଦଣ୍ଡାଦେଶ ଉପରେ ରହିତାଦେଶ ଦେବା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି। ତାଙ୍କ ଆବେଦନକୁ ସୁପ୍ରିମକୋର୍ଟ ସ୍ଵୀକାର କରି ନେଇଛନ୍ତି। ଏଥିସହ ମାମଲାର ଶୁଣାଣି ଜୁଲାଇ ୨୧ ତାରିଖ କରାଯିବ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ତାରିଖ ଧାର୍ଯ୍ୟ କରିଛନ୍ତି। ଏହା ପୂର୍ବରୁ ରାହୁଲ ଗାନ୍ଧୀ ଗୁଜରାଟର ଏକ ଅଦାଲତଙ୍କ ରାୟକୁ ନେଇ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ହେଲେ ହାଇକୋର୍ଟ ନିମ୍ନଅଦାଲତଙ୍କ ରାହୁଲ ଗାନ୍ଧୀଙ୍କୁ ଦିଆଯାଇଥିବା ଦଣ୍ଡାଦେଶ ବଳବତ୍ତର ରଖିଥିଲେ।

ସୁପ୍ରିମକୋର୍ଟ ମଙ୍ଗଳବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଦ୍ଵାରା ଦାୟର ଯାଚିକା ଉପରେ ଜୁଲାଇ ୨୧ରେ ଶୁଣାଣି କରିବାକୁ ରାଜି ହୋଇଛନ୍ତି। ଏଥିରେ ଗୁଜରାଟ ହାଇକୋର୍ଟଙ୍କ ରାୟକୁ ରାହୁଲ ଗାନ୍ଧୀ ଚ୍ୟାଲେଞ୍ଜ କରିଛନ୍ତି। ହାଇକୋର୍ଟ ନିମ୍ନ ଅଦାଲତଙ୍କ ଦ୍ଵାରା ରାହୁଲ ଗାନ୍ଧୀଙ୍କୁ ଦିଆଯାଇଥିବା ୨ ବର୍ଷର ଜେଲ୍ ଦଣ୍ଡାଦେଶକୁ ବଳବତ୍ତର ରଖିଥିଲେ। ପ୍ରଧାନ ବିଚାରପତି ଡିଓ୍ଵାଇ ଚନ୍ଦ୍ରଚୂଡ଼ ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଙ୍ଗଭିଙ୍କ ଦ୍ଵାରା ଯାଚିକା ଉପରେ ଉଲ୍ଲେଖ କରିବା ଏବଂ ଶୀଘ୍ର ଶୁଣାଣି କରିବାକୁ ଅନୁରୋଧ କରିବା ପରେ ସୁପ୍ରିମକୋର୍ଟ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରିଛନ୍ତି।

ସୂଚନାଯୋଗ୍ୟ, ସୁରଟର ଏକ ମେଟ୍ରୋପୋଲିୟମ ମାଜିଷ୍ଟ୍ରେଟଙ୍କ ଅଦାଲତ ମୋଦୀ ସାଙ୍ଗିଆକୁ ନେଇ ଅପମାନଜନକ ଭାଷଣ ଦେବା ମାମଲାରେ ରାହୁଲ ଗାନ୍ଧୀଙ୍କୁ ମାର୍ଚ୍ଚ ୨୩ରେ ଦୋଷୀ ସାବ୍ୟସ୍ତ କରି ୨ ବର୍ଷର ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ବିଜେପି ନେତା ପୂର୍ଣ୍ଣେଶ ମୋଦୀଙ୍କ ଦ୍ଵାରା ରାହୁଲଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଦୋଷୀ ସାବ୍ୟସ୍ତ ହେବା ପରେ ରାହୁଲ ଗାନ୍ଧୀ ଜନ ପ୍ରତିନିଧି ଅଧିନିୟମ ଆଧାରରେ ଲୋକସଭା ସଦସ୍ୟତା ହରାଇଥିଲେ।

ଗଜପତି ଜିଲ୍ଲାରେ ଆନ୍ଧ୍ର ଅଧିକାରୀମାନଙ୍କ ବେଆଇନ ପ୍ରବେଶକୁ ପ୍ରଶୟ ଦିଆଯିବ ନାହିଁ…. ଗଜପତି ଜିଲ୍ଲାପାଳ ପାରଳାଖେମୁଣ୍ଡି,୧୯/୭(ଗରୁଡ ଧ୍ୱଜ ଚୌଧୁରୀ) ଓଡ଼ିଶା ସୀମାରେ ଆନ୍ଧ୍ର ଅଧିକାରୀଙ୍କ ଅନୁପ୍ରବେଶ କରି ଓଡ଼ିଶାର 3 ଗୋଟି ଗାଁକୁ ଆନ୍ଧ୍ରର ବୋଲି ଦାବି କରିବା ବ୍ୟର୍ଥ ଉଦ୍ୟମକୁ କେବେ ବି ସଫଳ କରି ଦିଆଯିବନାହିଁ. ଓଡିଶା ତଥା ଗଜପତି ଜିଲ୍ଲାର ପରିସୀମା ମଧରେ ଆନ୍ଧ୍ର ଅଧିକାରୀଙ୍କ ବେଆଇନ ପ୍ରବେଶ ଓ ବିଭିନ୍ନ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟକୁ କେବେ ବି ପ୍ରଶୟ ଦିଆ ଯିବନାହିଁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଦୃଢତାର ସହ ପ୍ରକାଶ କରିଛନ୍ତି.ଏହି ଘଟଣା ନେଇ ଗଜପତି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ ଆକସନ୍ ମୁଡ୍‌ରେ ରହିଥ‌ିବା ଜଣାପଡ଼ିଛି। ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅଧୀନ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା, ଆମରିଙ୍ଗି ଓ ବୁରୁସିଂ ଆଦି 3 ଗୋଟି ଗ୍ରାମକୁ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର ପଣ୍ଡା ପହଞ୍ଚି ଲୋକଙ୍କ ସହ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଆନ୍ଧ୍ରର କୌଣସି ଅଧିକାରୀ ଆସିଲେ ଡରିବାର ନାହିଁ. ତୁରନ୍ତ ପ୍ରଶାସନକୁ ଜଣାଇବାକୁ ଜିଲ୍ଲାପାଳ ଗ୍ରାମବାସୀଙ୍କୁ କହିଛନ୍ତି. ଓଡ଼ିଶା ଜାଗା ଛାଡିବୁନି କି ଆନ୍ଧ୍ର ଜାଗା ମାଡ଼ିବୁ ନାହିଁ ବୋଲି ଜିଲ୍ଲାପାଳ ବିଜୟ କୁମାର ଦାସ ଗ୍ରାମବାସୀମାନଙ୍କୁ ଦୃଢତାର ସହ ପ୍ରକାଶ କରିଛନ୍ତି। ଏଥିସହ ମାଣିକପାଟଣାରେ ତିଆରି ହୋଇଥିବା ଆନ୍ଧ୍ରର ଅଙ୍ଗନବାଡ଼ି କେନ୍ଦ୍ରକୁ ବୁଲି ଦେଖୁବା ସହ ଉକ୍ତ କେନ୍ଦ୍ରର ସୀମା ଚିହ୍ନଟ ପାଇଁ ରାୟଗଡ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୀମାକୁ ନେଇ କୌଣସି ବିବାଦ ନାହିଁ ଉନ୍ନୟନ କାର୍ଯ୍ୟ ହୋଇଥିବା ଅଞ୍ଚଳ ଓଡ଼ିଶାର, ଓଡ଼ିଶା ସୀମା ଭିତରେ ହିଁ ରହିଛି. ଗତ କିଛି ଦିନ ତଳେ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଏହି ଅଞ୍ଚଳ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିବା ପରେ ଯେଉଁ ରିପୋର୍ଟ ପ୍ରଦାନ କରିଛନ୍ତି ଆନ୍ଧ୍ରର ଶ୍ରୀକାକୁଲମ ଜିଲ୍ଲାପାଳଙ୍କୁ ଚିଠି ଲେଖୁ ଜଣାଇ ଦିଆଯାଇଛି। ଏହି ଗସ୍ତ ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ତ୍ରିପାଠୀ, ସିଡିପିଓ ବି. କାମଳାଙ୍ଗୀ, ଏସ୍‌ ଡିପିଓ ମାଧବାନନ୍ଦ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ, ଗାରାବନ୍ଧ ଥାନା ଅଧିକାରୀ ପ୍ରଶାନ୍ତ ନିଶିକା ପ୍ରମୁଖଙ୍କ ସହ କେତେଜଣ ପ୍ରଶାସନିକ ଅଧିକାରୀ ଏହି 3 ଗୋଟି ଗ୍ରାମକୁ ଉପଜିଲ୍ଲାପାଳଙ୍କ ସହ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିଥିଲେ। ମୋଟାମୋଟି ଭାବେ ଏହି ସମସ୍ତ ଅଞ୍ଚଳ କେବଳ ଓଡିଶାର ଏବଂ ଗଜପତି ଜିଲ୍ଲା ଅଧୀନରେ ରହିଥିବା ସ୍ପଷ୍ଟ ହୋଇଯାଇଛି. ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଆହୁରି ଅନେକ ବିକାଶମୂଳକ ଜନ ହିତକର କାର୍ଯ୍ୟ କରାଯିବ. ତେଣୁ ଅଞ୍ଚଳବାସୀ ଆନ୍ଧ୍ରର କେତେକ ଅଧିକାରୀଙ୍କ ବିଭ୍ରାନ୍ତିମୂଳକ ଓ ଭୁଲ ତଥ୍ୟକୁ କୌଣସି ଭାବେ ଗୁରୁତ୍ୱ ନ ଦେଇ ଓଡିଶା ପ୍ରଶାସନର ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ନିଜ ନିଜକୁ ସାମିଲ କରି ଏହି ଅଞ୍ଚଳର ଉନ୍ନତି ଓ ବିକାଶ ପାଇଁ ସହଯୋଗ କରନ୍ତୁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ନିବେଦନ କରିଛନ୍ତି.