ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ହେବ ସାର୍ବଜନୀନ


ଭୁବନେଶ୍ବର: ମହାପ୍ରଭୁ ଜଗନ୍ନାଥଙ୍କ ରତ୍ନଭଣ୍ଡାରକୁ ନେଇ ଆସିଛି ଆଉ ଏକ ବଡ଼ ଖବର । ଜୁଲାଇ ୮ରେ ରତ୍ନଭଣ୍ଡାର ଖୋଲାଯିବା ଚର୍ଚ୍ଚାରେ ଆଇନମନ୍ତ୍ରୀ ପୂର୍ଣ୍ଣଚ୍ଛେଦ ପକାଇ ସାରିଛନ୍ତି । ତେବେ ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ଶୀଘ୍ର ସାର୍ବଜନୀନ ହେବ ବୋଲି ଜଣାପଡ଼ିଛି ।

ହାଇକୋର୍ଟଙ୍କ ନିର୍ଦ୍ଦେଶରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗର ତଦନ୍ତ ଜଷ୍ଟିସ ରଘୁବୀର ଦାସ କମିଶନ କରିଥିଲେ । ଏହି ରିପୋର୍ଟ ଏବେ ସାର୍ବଜନୀନ କରାଯିବ । ଏନେଇ ହାଇକୋର୍ଟଙ୍କୁ ଆଜି ଅବଗତ କରାଇଛନ୍ତି ରାଜ୍ୟ ସରକାର । ଆଗାମୀ କ୍ୟାବିନେଟ ବୈଠକରେ ରିପୋର୍ଟ ଉପସ୍ଥାପନ ହେବ ବୋଲି ଜଣାପଡ଼ିଛି । ସେହିପରି ୩ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ପୂରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିଲା । କେଉଁ ପରିସ୍ଥିତିରେ ଚାବି ହଜିଲା, ତା’ର ତଦନ୍ତ ପାଇଁ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ରଘୁବୀର ଦାସଙ୍କ ଅଧ୍ୟକ୍ଷତାରେ ଗୋଟିଏ କମିଟି ଗଠନ କରାଯାଇଥିଲା । କମିଶନ ତଦନ୍ତ କରିବା ପରେ ନିର୍ଦ୍ଧାରିତ ସମୟରେ ତାଙ୍କ ରିପୋର୍ଟ ଦାଖଲ କରିଥିଲେ ।

କୋର୍ଟ ଅଫ ଇନକ୍ୱାରୀ ଆକ୍ଟ ଅନୁସାରେ, ରିପୋର୍ଟକୁ ସାର୍ବଜନୀନ କରିବାର ଆବଶ୍ୟକତା ରହିଛି । ଅର୍ଥାତ ଏହା ରାଜ୍ୟ ବିଧାନସଭାରେ ଉପସ୍ଥାପନ ହେବା କଥା । କିନ୍ତୁ ପୂର୍ବରୁ କ୍ଷମତାରେ ଥିବା ବିଜେଡି ସରକାର ଏହା ଉପରେ କୌଣସି ପ୍ରକାରର ପଦକ୍ଷେପ ନେଇ ନଥିଲେ । ତେଣୁ ରାଜ୍ୟବ୍ୟାପୀ ପ୍ରବଳ ଆଲୋଡ଼ନ ସୃଷ୍ଟି ହୋଇଥିଲା । ଶେଷରେ ହାଇକୋର୍ଟରେ ମାମଲା ପହଞ୍ଚିଥିଲା ।

ଗତ ଏପ୍ରିଲ ମାସ ୫ ତାରିଖରେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ଗୋଟିଏ ସତ୍ୟପାଠ ଦାଖଲ କରି କହିଥିଲା ଯେ ନିର୍ବାଚନ ହେବାକୁ ଯାଉଛି ଓ ଜୁନ ମାସରେ ନୂଆ ସରକାର ଗଠନ ହେବ । ଏହାପରେ ନୂଆ ସରକାରର ପ୍ରଥମ କ୍ୟାବିନେଟ ବୈଠକରେ ରିପୋର୍ଟକୁ ଉପସ୍ଥାପନ କରି ସାର୍ବଜନୀନ କରାଯିବ ।

ସତ୍ୟପାଠ ଏପ୍ରିଲ ୫ରେ ଦାଖଲ କରାଯାଇଥିଲେ ହେଁ ଏଯାଏଁ ମାମଲାର ଶୁଣାଣି ହୋଇ ନଥିଲା । ଆଜି ପୁନଃ ଶୁଣାଣି ବେଳେ ଆବେଦନକାରୀଙ୍କ ଓକିଲ କହିଥିଲେ ଯେ ନୂଆ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ ଶେଷ ହୋଇଥିଲେ ହେଁ ସତ୍ୟପାଠ ଅନୁସାରେ ରିପୋର୍ଟ ସାର୍ବଜନୀନ କରାଯାଇନାହିଁ ।

ଏହାପରେ ହାଇକୋର୍ଟ ରାଜ୍ୟ ସରକାରଙ୍କ ଓକିଲଙ୍କୁ ଏନେଇ ପ୍ରଶ୍ନ କରିଥିଲେ । ଏହାର ଜବାବରେ ସରକାରୀ ଓକିଲ କହିଛନ୍ତି ଯେ, ଆଗାମୀ କ୍ୟାବିନେଟ ବୈଠକରେ ରତ୍ନଭଣ୍ଡାର ଚାବି ହଜିବା ଘଟଣାର କମିଶନ ରିପୋର୍ଟ ଉପସ୍ଥାପନ କରାଯିବ । ସରକାର ଦୁଇ ଥର ହାଇକୋର୍ଟଙ୍କୁ ରିପୋର୍ଟ ସାର୍ବଜନୀନ ହେବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ତେଣୁ ଆଗାମୀ ଦିନରେ କେଉଁ ପରିସ୍ଥିତିରେ ଚାବି ହଜିଥିଲା, ସେକଥା ପୂରା ରାଜ୍ୟବାସୀ ଜାଣିବାକୁ ସକ୍ଷମ ହେବେ । ରିପୋର୍ଟ ଆସିବା ପରେ ସମ୍ଭବତଃ ସରକାର କିଛି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି ।

ଗଜପତି ଜିଲ୍ଲାରେ ଆନ୍ଧ୍ର ଅଧିକାରୀମାନଙ୍କ ବେଆଇନ ପ୍ରବେଶକୁ ପ୍ରଶୟ ଦିଆଯିବ ନାହିଁ…. ଗଜପତି ଜିଲ୍ଲାପାଳ ପାରଳାଖେମୁଣ୍ଡି,୧୯/୭(ଗରୁଡ ଧ୍ୱଜ ଚୌଧୁରୀ) ଓଡ଼ିଶା ସୀମାରେ ଆନ୍ଧ୍ର ଅଧିକାରୀଙ୍କ ଅନୁପ୍ରବେଶ କରି ଓଡ଼ିଶାର 3 ଗୋଟି ଗାଁକୁ ଆନ୍ଧ୍ରର ବୋଲି ଦାବି କରିବା ବ୍ୟର୍ଥ ଉଦ୍ୟମକୁ କେବେ ବି ସଫଳ କରି ଦିଆଯିବନାହିଁ. ଓଡିଶା ତଥା ଗଜପତି ଜିଲ୍ଲାର ପରିସୀମା ମଧରେ ଆନ୍ଧ୍ର ଅଧିକାରୀଙ୍କ ବେଆଇନ ପ୍ରବେଶ ଓ ବିଭିନ୍ନ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟକୁ କେବେ ବି ପ୍ରଶୟ ଦିଆ ଯିବନାହିଁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଦୃଢତାର ସହ ପ୍ରକାଶ କରିଛନ୍ତି.ଏହି ଘଟଣା ନେଇ ଗଜପତି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ ଆକସନ୍ ମୁଡ୍‌ରେ ରହିଥ‌ିବା ଜଣାପଡ଼ିଛି। ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅଧୀନ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା, ଆମରିଙ୍ଗି ଓ ବୁରୁସିଂ ଆଦି 3 ଗୋଟି ଗ୍ରାମକୁ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର ପଣ୍ଡା ପହଞ୍ଚି ଲୋକଙ୍କ ସହ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଆନ୍ଧ୍ରର କୌଣସି ଅଧିକାରୀ ଆସିଲେ ଡରିବାର ନାହିଁ. ତୁରନ୍ତ ପ୍ରଶାସନକୁ ଜଣାଇବାକୁ ଜିଲ୍ଲାପାଳ ଗ୍ରାମବାସୀଙ୍କୁ କହିଛନ୍ତି. ଓଡ଼ିଶା ଜାଗା ଛାଡିବୁନି କି ଆନ୍ଧ୍ର ଜାଗା ମାଡ଼ିବୁ ନାହିଁ ବୋଲି ଜିଲ୍ଲାପାଳ ବିଜୟ କୁମାର ଦାସ ଗ୍ରାମବାସୀମାନଙ୍କୁ ଦୃଢତାର ସହ ପ୍ରକାଶ କରିଛନ୍ତି। ଏଥିସହ ମାଣିକପାଟଣାରେ ତିଆରି ହୋଇଥିବା ଆନ୍ଧ୍ରର ଅଙ୍ଗନବାଡ଼ି କେନ୍ଦ୍ରକୁ ବୁଲି ଦେଖୁବା ସହ ଉକ୍ତ କେନ୍ଦ୍ରର ସୀମା ଚିହ୍ନଟ ପାଇଁ ରାୟଗଡ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୀମାକୁ ନେଇ କୌଣସି ବିବାଦ ନାହିଁ ଉନ୍ନୟନ କାର୍ଯ୍ୟ ହୋଇଥିବା ଅଞ୍ଚଳ ଓଡ଼ିଶାର, ଓଡ଼ିଶା ସୀମା ଭିତରେ ହିଁ ରହିଛି. ଗତ କିଛି ଦିନ ତଳେ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଏହି ଅଞ୍ଚଳ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିବା ପରେ ଯେଉଁ ରିପୋର୍ଟ ପ୍ରଦାନ କରିଛନ୍ତି ଆନ୍ଧ୍ରର ଶ୍ରୀକାକୁଲମ ଜିଲ୍ଲାପାଳଙ୍କୁ ଚିଠି ଲେଖୁ ଜଣାଇ ଦିଆଯାଇଛି। ଏହି ଗସ୍ତ ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ତ୍ରିପାଠୀ, ସିଡିପିଓ ବି. କାମଳାଙ୍ଗୀ, ଏସ୍‌ ଡିପିଓ ମାଧବାନନ୍ଦ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ, ଗାରାବନ୍ଧ ଥାନା ଅଧିକାରୀ ପ୍ରଶାନ୍ତ ନିଶିକା ପ୍ରମୁଖଙ୍କ ସହ କେତେଜଣ ପ୍ରଶାସନିକ ଅଧିକାରୀ ଏହି 3 ଗୋଟି ଗ୍ରାମକୁ ଉପଜିଲ୍ଲାପାଳଙ୍କ ସହ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିଥିଲେ। ମୋଟାମୋଟି ଭାବେ ଏହି ସମସ୍ତ ଅଞ୍ଚଳ କେବଳ ଓଡିଶାର ଏବଂ ଗଜପତି ଜିଲ୍ଲା ଅଧୀନରେ ରହିଥିବା ସ୍ପଷ୍ଟ ହୋଇଯାଇଛି. ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଆହୁରି ଅନେକ ବିକାଶମୂଳକ ଜନ ହିତକର କାର୍ଯ୍ୟ କରାଯିବ. ତେଣୁ ଅଞ୍ଚଳବାସୀ ଆନ୍ଧ୍ରର କେତେକ ଅଧିକାରୀଙ୍କ ବିଭ୍ରାନ୍ତିମୂଳକ ଓ ଭୁଲ ତଥ୍ୟକୁ କୌଣସି ଭାବେ ଗୁରୁତ୍ୱ ନ ଦେଇ ଓଡିଶା ପ୍ରଶାସନର ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ନିଜ ନିଜକୁ ସାମିଲ କରି ଏହି ଅଞ୍ଚଳର ଉନ୍ନତି ଓ ବିକାଶ ପାଇଁ ସହଯୋଗ କରନ୍ତୁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ନିବେଦନ କରିଛନ୍ତି.