ଶନିବାରଠୁ ୩ ଦିନ ପ୍ରବଳ ବର୍ଷା, ପାଣିପାଗ ବିଭାଗର ସତର୍କ ସୂଚନା

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ତିନିଦିନ ଧରି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି,୧୩ ତାରିଖଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ୧୩ ,୧୪ ଓ ୧୫ ତାରିଖରେ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ। ୧୩ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି , କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ଆଜି ରାଜ୍ୟରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ,ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ହେଲେ କାଲିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବର୍ଷା ପରିମାଣ ବଢିବାରୁ ଚାଷ କାର୍ଯ୍ୟ ବି ଆଗେଇ ଚାଲିଛି ।