Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଅବପାତରେ ପରିଣତ ହେଲା ଲଘୁଚାପ, ଆଜିଠୁ ରାଜ୍ୟରେ ୪ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ସୁଦ୍ଧା ଅବପାତ ପୁରୀ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଏହା ବର୍ତ୍ତମାନ ପୁରୀଠାରୁ ୭୦ କିମି ଦୂରରେ ଥିବା ବେଳେ ଗୋପାଳପୁର ଓ ପାରାଦୀପଠାରୁ ୧୩୦ କିମି ଦୂରରେ ଅବସ୍ଥିତ ରହିଛି। ଏହା ପ୍ରଭାବରେ ପୁରୀ ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି।

ପାଣିପାଗର କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ୪ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। କିଛି ଜିଲ୍ଲାରେ ମୂଷଳଧାରାରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କନ୍ଧମାଳ, ବୌଦ୍ଧ ଓ ପୁରୀ। ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହା ବ୍ୟତୀତ କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ଆଉ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଶନିବାର ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶା ଉପକୂଳ ଓ ସଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବୋହିବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ସମୁଦ୍ରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ