ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବ ଜାରି । ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆହୁରି ୩ ଦିନ ଏମିତି ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭବନା ଥିବା ବେଳେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଭଦ୍ରକ, ବାଲେଶ୍ୱର କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ମୟୂରଭଞ୍ଜ, ଯାଜପୁର, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦୁଝର, ଦେବଗଡ଼, ସମ୍ୱଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଗୁରୁବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଅନୁଗୋଳ, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କଟକ ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।