ଗାଧୋଇବାକୁ ଯାଇଥିବା ବେଳେ ଅଘଟଣ ପୋଖରୀରେ ବୁଡ଼ି ଚାଲିଗଲା ଜଣକ ଜୀବନ


ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): ଗୋଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଜୀବନ ଗଲା । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ଅଞ୍ଚଳରେ । ମୃତକ ମହାସିଙ୍ଗି ଗ୍ରାମର ଭକ୍ତରାମ ପୁଜାରୀ ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଭକ୍ତରାମ ସବୁଦିନ ଭଳି ଶନିବାର ମଧ୍ୟ ବିଲରୁ କାମ ସାରି ଗେଗୁର ପଦର ନିକଟସ୍ଥ ଡିଗୁରିସାହି ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ହେଲେ ଗାଧୋଇବାକୁ ପୋଖରୀ ଭିତରକୁ ପଶିବା ବେଳେ କୌଣସି କାରଣରୁ ପୋଖରୀରେ ବୁଡ଼ି ଯାଇଥିଲେ ଭକ୍ତରାମ । କିଛି ସମୟ ପରେ ଅଞ୍ଚଳର କିଛି ଲୋକେ ସେହି ପୋଖରୀକୁ ଗାଧୋଇବାକୁ ଯିବା ବେଳେ ଭକ୍ତରାମଙ୍କ ଶବ ପାଣିରେ ଭାସୁଥିବା ଦେଖି ପରିବାର ଲୋକଙ୍କୁ ଖବର ଦେବା ସହ ବାଲିଗୁଡ଼ା ଅଗ୍ନିଶମ ବାହିନୀ ଓ ପୋଲିସ ବିଭାଗ କୁ ଜଣାଇଥିଲେ । ଖବରପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଁଚି ପୋଖରୀରୁ ଶବ ଉଦ୍ଧାର କରିବା ପରେ ବାଲିଗୁଡ଼ା ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ଭକ୍ତରାମଙ୍କ ପ୍ରକୃତ ମୃତ୍ୟୁର କାରଣ ଏଯାବତ୍ ସ୍ପଷ୍ଟ ହୋଇନଥିବା ବେଳେ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି ପୋଲିସ୍ । ସେପଟେ ମୃତକଙ୍କ ଗରିବ ପରିବାରକୁ କ୍ଷତିପୂରଣ ଯୋଗାଇ ଦେବାକୁ ସରକାରଙ୍କୁ ନିବେଦନ କରିଛନ୍ତି ମହାସିଙ୍ଗି ସରପଞ୍ଚ ରଞ୍ଜିତ ମଲ୍ଲିକ । ପୋଖରୀର ପାହାଚରେ ଶିକୁଳି ଲାଗିଛି । ଏଣୁ ଶିକୁଳିରେ ଗୋଡ଼ ଖସି ପୋଖରୀରେ ବୁଡ଼ି ଭକ୍ତରାମଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି ବୋଲି ବାଲିଗୁଡ଼ା ଅଗ୍ନିଶମ ଭାରପ୍ରାପ୍ତ ଅଧିକାରୀ ସୁକାନ୍ତ ବାରିକ୍ ପ୍ରକାଶ କରିଛନ୍ତି ।

ଗଜପତି ଜିଲ୍ଲାରେ ଆନ୍ଧ୍ର ଅଧିକାରୀମାନଙ୍କ ବେଆଇନ ପ୍ରବେଶକୁ ପ୍ରଶୟ ଦିଆଯିବ ନାହିଁ…. ଗଜପତି ଜିଲ୍ଲାପାଳ ପାରଳାଖେମୁଣ୍ଡି,୧୯/୭(ଗରୁଡ ଧ୍ୱଜ ଚୌଧୁରୀ) ଓଡ଼ିଶା ସୀମାରେ ଆନ୍ଧ୍ର ଅଧିକାରୀଙ୍କ ଅନୁପ୍ରବେଶ କରି ଓଡ଼ିଶାର 3 ଗୋଟି ଗାଁକୁ ଆନ୍ଧ୍ରର ବୋଲି ଦାବି କରିବା ବ୍ୟର୍ଥ ଉଦ୍ୟମକୁ କେବେ ବି ସଫଳ କରି ଦିଆଯିବନାହିଁ. ଓଡିଶା ତଥା ଗଜପତି ଜିଲ୍ଲାର ପରିସୀମା ମଧରେ ଆନ୍ଧ୍ର ଅଧିକାରୀଙ୍କ ବେଆଇନ ପ୍ରବେଶ ଓ ବିଭିନ୍ନ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟକୁ କେବେ ବି ପ୍ରଶୟ ଦିଆ ଯିବନାହିଁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଦୃଢତାର ସହ ପ୍ରକାଶ କରିଛନ୍ତି.ଏହି ଘଟଣା ନେଇ ଗଜପତି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ ଆକସନ୍ ମୁଡ୍‌ରେ ରହିଥ‌ିବା ଜଣାପଡ଼ିଛି। ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅଧୀନ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା, ଆମରିଙ୍ଗି ଓ ବୁରୁସିଂ ଆଦି 3 ଗୋଟି ଗ୍ରାମକୁ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର ପଣ୍ଡା ପହଞ୍ଚି ଲୋକଙ୍କ ସହ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଆନ୍ଧ୍ରର କୌଣସି ଅଧିକାରୀ ଆସିଲେ ଡରିବାର ନାହିଁ. ତୁରନ୍ତ ପ୍ରଶାସନକୁ ଜଣାଇବାକୁ ଜିଲ୍ଲାପାଳ ଗ୍ରାମବାସୀଙ୍କୁ କହିଛନ୍ତି. ଓଡ଼ିଶା ଜାଗା ଛାଡିବୁନି କି ଆନ୍ଧ୍ର ଜାଗା ମାଡ଼ିବୁ ନାହିଁ ବୋଲି ଜିଲ୍ଲାପାଳ ବିଜୟ କୁମାର ଦାସ ଗ୍ରାମବାସୀମାନଙ୍କୁ ଦୃଢତାର ସହ ପ୍ରକାଶ କରିଛନ୍ତି। ଏଥିସହ ମାଣିକପାଟଣାରେ ତିଆରି ହୋଇଥିବା ଆନ୍ଧ୍ରର ଅଙ୍ଗନବାଡ଼ି କେନ୍ଦ୍ରକୁ ବୁଲି ଦେଖୁବା ସହ ଉକ୍ତ କେନ୍ଦ୍ରର ସୀମା ଚିହ୍ନଟ ପାଇଁ ରାୟଗଡ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୀମାକୁ ନେଇ କୌଣସି ବିବାଦ ନାହିଁ ଉନ୍ନୟନ କାର୍ଯ୍ୟ ହୋଇଥିବା ଅଞ୍ଚଳ ଓଡ଼ିଶାର, ଓଡ଼ିଶା ସୀମା ଭିତରେ ହିଁ ରହିଛି. ଗତ କିଛି ଦିନ ତଳେ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଏହି ଅଞ୍ଚଳ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିବା ପରେ ଯେଉଁ ରିପୋର୍ଟ ପ୍ରଦାନ କରିଛନ୍ତି ଆନ୍ଧ୍ରର ଶ୍ରୀକାକୁଲମ ଜିଲ୍ଲାପାଳଙ୍କୁ ଚିଠି ଲେଖୁ ଜଣାଇ ଦିଆଯାଇଛି। ଏହି ଗସ୍ତ ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ତ୍ରିପାଠୀ, ସିଡିପିଓ ବି. କାମଳାଙ୍ଗୀ, ଏସ୍‌ ଡିପିଓ ମାଧବାନନ୍ଦ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ, ଗାରାବନ୍ଧ ଥାନା ଅଧିକାରୀ ପ୍ରଶାନ୍ତ ନିଶିକା ପ୍ରମୁଖଙ୍କ ସହ କେତେଜଣ ପ୍ରଶାସନିକ ଅଧିକାରୀ ଏହି 3 ଗୋଟି ଗ୍ରାମକୁ ଉପଜିଲ୍ଲାପାଳଙ୍କ ସହ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିଥିଲେ। ମୋଟାମୋଟି ଭାବେ ଏହି ସମସ୍ତ ଅଞ୍ଚଳ କେବଳ ଓଡିଶାର ଏବଂ ଗଜପତି ଜିଲ୍ଲା ଅଧୀନରେ ରହିଥିବା ସ୍ପଷ୍ଟ ହୋଇଯାଇଛି. ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଆହୁରି ଅନେକ ବିକାଶମୂଳକ ଜନ ହିତକର କାର୍ଯ୍ୟ କରାଯିବ. ତେଣୁ ଅଞ୍ଚଳବାସୀ ଆନ୍ଧ୍ରର କେତେକ ଅଧିକାରୀଙ୍କ ବିଭ୍ରାନ୍ତିମୂଳକ ଓ ଭୁଲ ତଥ୍ୟକୁ କୌଣସି ଭାବେ ଗୁରୁତ୍ୱ ନ ଦେଇ ଓଡିଶା ପ୍ରଶାସନର ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ନିଜ ନିଜକୁ ସାମିଲ କରି ଏହି ଅଞ୍ଚଳର ଉନ୍ନତି ଓ ବିକାଶ ପାଇଁ ସହଯୋଗ କରନ୍ତୁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ନିବେଦନ କରିଛନ୍ତି.