ସାମ୍ଭାବ୍ୟ ବର୍ଷା ଆଶଙ୍କା: ଆଜି ମୟୂରଭଞ୍ଜ ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ


ବାରିପଦା: ମୟୂରଭଞ୍ଜ ଜିଲ୍ଲାରେ ଆଜି ବନ୍ଦ ରହିଛି ସମସ୍ତ ସ୍କୁଲ୍‌, କଲେଜ ଓ ଅଙ୍ଗନବାଡି କେନ୍ଦ୍ର । ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କତା ଜାରି କରିବା ପରେ ଜିଲ୍ଲାପାଳ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ।

ପାଣିପାଗ ବିଭାଗ ସୂଚନା ଅନୁସାରେ, ଆଜି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି ।

ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ମୟୂରଭଞ୍ଜ ଜିଲ୍ଲାକୁ ଆଜି ସକାଳ ସାଢ଼େ ୮ଟାରୁ ୧୫ ତାରିଖ ସାଢ଼େ ୮ଟା ପର୍ଯ୍ୟନ୍ତ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିଲା । ଏହି ସମୟ ମଧ୍ୟରେ କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା । ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଥିଲା ।

ସେହିପରି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।