ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା, ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ


ଭୁବନେଶ୍ବର: ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଦକ୍ଷିଣ ଉପକୂଳ ମିଆଁମାର ଓ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ । ପ୍ରଭାବରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବୃଦ୍ଧି ପାଇବ । ଏଥିପାଇଁ ଆଜି ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଓ ମାଲକାନଗିରିକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୬ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, ବରଗଡ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । କିଛି ଜିଲ୍ଲାରେ ଘଡଘଡି ବିଜୁଳି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ଅନ୍ୟପଟେ ଆଜିଠୁ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ଆରମ୍ଭ ହେଉଛି । ଉତ୍ତର ପଶ୍ଚିମ ଭାରତର ବିଭିନ୍ନ ଅଞ୍ଚଳରୁ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିବା ସମ୍ଭାବନା ରହିଛି । ଓଡ଼ିଶାରୁ ମୌସୁମୀ ଯିବାକୁ ଆଉ କିଛିଦିନ ସମୟ ଲାଗିବ । ଓଡ଼ିଶାରୁ ସାଧାରଣତଃ ଅକ୍ଟୋବର ୧୫ ତାରିଖ ସୁଦ୍ଧା ମୌସୁମୀ ଅପସାରଣ ହୋଇଥାଏ ।