ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ବି ବିଭିନ୍ନ ସ୍ଥାନରେ ହେବ ପ୍ରବଳ ବର୍ଷା । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମଧ୍ୟମଧରଣର ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ କଟକ ।
ସେହିପରି କଟକ ଓ ଭୁବନେଶ୍ୱର ସମେତ କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି । ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ଆସିବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ସ୍ୱାଭାବିକ ଠାରୁ ୭ ପ୍ରତିଶତ ନିଅଁଣ୍ଟିଆ ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ୨୧ଟିଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ କେବଳ ମାଲକାନଗିରି ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି । ୮ଟି ଜିଲ୍ଲାରେ ଏବେ ବି ୧୯ ରୁ ୫୯ ପ୍ରତିଶତ ପର୍ଯ୍ୟନ୍ତ ନିଅଁଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।