ପୁରୀ: ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି । ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଦୈନିକ ଅବକାଶ ନୀତି ପରେ ଏହି ବେଶ କରାଯାଏ । ରାଧା ଦାମୋଦର ବେଶରେ ପ୍ରଭୁ ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥ ତ୍ରିକଚ୍ଛ ବସ୍ତ୍ର ପରିଧାନ କରିଥାନ୍ତି । ଶ୍ରୀହସ୍ତରେ ସୁବର୍ଣ୍ଣ ନୀଳଭୂଜ ଲାଗି ହୋଇଥାଏ । ବାଉଁଶ ପାତିଆ ଓ କନାର ନିର୍ମିତ ଚୂଳ ତ୍ରିମୁଣ୍ଡି ଶ୍ରୀମସ୍ତକରେ ଉପରେ ରହିଥାଏ । ଚୂଳର ଅଗ୍ର ଭାଗରେ ଚନ୍ଦ୍ରିକା ଶୋଭା ପାଇଥାଏ ।
କର୍ଣ୍ଣ ଦେଶରେ କୁଣ୍ଡଳ, କଟିତଟରେ ଓଡିଆଣୀ,ମସ୍ତକରେ ତଡଗୀ, ଚନ୍ଦ୍ର, ସୂର୍ଯ୍ୟ ଓ ଚିତା ଇତ୍ୟାଦି ସ୍ୱର୍ଣ୍ଣ ଅଳଙ୍କାରରେ ଭୂଷିତ ହୋଇଥାନ୍ତି । ଏତଦ୍ ବ୍ୟତୀତ ଶ୍ରୀବିଗ୍ରହମାନେ ବିଭିନ୍ନ ପୁଷ୍କ ଅଳଙ୍କାର, ବାରଳାଗି ପାଟ ଶାଢ଼ି, ଫୁଟା, ଶିରକପଡ଼ା, ପହରଣ, ବଳା, ଅଧର ଓ ଉତ୍ତରୀୟ ବସ୍ତ୍ରରେ ସଜ୍ଜିତ ହୋଇଥାଏ ।
ହବିଷ୍ୟାଳି ଓ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ବେଶ ଦର୍ଶନ କରିବା ସହ କିଛି ମହିଳାମାନେ ସଂକଳ୍ପ କରି କାର୍ତ୍ତିକ ବ୍ରତ ଆରମ୍ଭ କରିଛନ୍ତି । ଶ୍ରୀଜିଉଙ୍କ ଏହି ମନଲୋଭା ବେଶ ଦର୍ଶନ କରିବାକୁ ଶ୍ରୀମନ୍ଦିରରେ ପ୍ରବଳ ଜନସମାଗମ ହୋଇଛି ।
କୁମାର ପୂର୍ଣ୍ଣିମା ପରଦିନ ଠାରୁ କାର୍ତ୍ତିକ ମାସ ଆରମ୍ଭ ହୋଇଥାଏ । କିନ୍ତୁ ଶ୍ରୀମନ୍ଦିରରେ ଗତକାଲିଠାରୁ କାର୍ତ୍ତିକ ନୀତିକାନ୍ତି ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଆଶ୍ୱିନ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ କାର୍ତ୍ତିକ ମାସ ନୀତି ପାଳନ କରାଯାଇଥାଏ । ଏହି ମାସରେ ଦୈନନ୍ଦିନ ନୀତି ବ୍ୟତୀତ ସ୍ୱତନ୍ତ୍ର ଭାବେ ଶ୍ରୀବିଗ୍ରହମାନଙ୍କର ରାଧା ଦାମୋଦର ବେଶ, ପଞ୍ଚୁକ ବେଶ, ବାଳଧୂପ, ଦିବା ପହୁଡ଼ ଇତ୍ୟାଦି ଅନୁଷ୍ଠିତ ହୋଇଥାଏ । ଆଶ୍ୱିନ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ରତ୍ନ ସିଂହାସନରେ ଅଧିଷ୍ଠିତ ଶ୍ରୀବିଗ୍ରହମାନଙ୍କର ଆକର୍ଷଣୀୟ ରାଧା ଦାମୋଦର ବେଶ ଅନୁଷ୍ଠିତ ହୋଇଥାଏ ।