ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା; ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଆଜି ୧୭୫ତମ ଜୟନ୍ତୀ


ଭୁବନେଶ୍ବର: ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ମଧୁସୂଦନ ଦାସ। ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୫ତମ ଜୟନ୍ତୀ। ଓଡ଼ିଆ ଭାଷା ଆନ୍ଦୋଳନର ଥିଲେ ମୁଖ୍ୟ ପୁରୋଧା। ସେ ଏକାସା‌ଙ୍ଗେ ଲେଖକ ଓ କବି ମଧ୍ୟ ଥିଲେ । ସେ ସବୁଥିରେ ଥିଲେ ପ୍ରଥମ। ସେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ ଥିଲେ ।

ମଧୁସୂଦନ ଦାସ କଟକ ଜିଲ୍ଲାର ସତ୍ୟଭାମାପୁରରେ ୨୮ ଅପ୍ରେଲ ୧୮୪୮ରେ ଜନ୍ମଗ୍ରହଣ କରିଥିଲେ । ପିତା ଚୌଧୁରୀ ରଘୁନାଥ ଦାସ ଓ ମାତା ପାର୍ବତୀ ଦେବୀଙ୍କ ପୁଅ ମଧୁସୂଦନଙ୍କ ପ୍ରଥମ ନାମ ଥିଲା ଚୌଧୁରୀ ଗୋବିନ୍ଦ ବଲ୍ଲଭ ଦାସ । ପରେ ତାଙ୍କ ବାପା, ମାଆ ତାଙ୍କ ନାମକୁ ବଦଳାଇ ମଧୁସୂଦନ ରଖିଥିଲେ ।

ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା- ରୂପାର ତାରକସି କାମ ପାଇଁ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।

ଓକିଲ ହେବାପରେ ମଧୁବାବୁ ପ୍ରଥମେ ଚବିଶ ପ୍ରଗଣା ଅନ୍ତର୍ଗତ ଆଲିପୁର କୋର୍ଟରେ ଓକିଲାତି ଆରମ୍ଭ କରିଥିଲେ । ପରେ ସେ କଲିକତା ହାଇକୋର୍ଟରେ ବାରିଷ୍ଟର ଜେଟି ଉଡ୍ରଫଙ୍କ ସହଯୋଗୀ ଭାବେ ଓକିଲାତି କରିଥିଲେ । ୧୨ ସେପ୍ଟେମ୍ବର ୧୮୮୧ରେ କଲିକତାରୁ ଫେରି ସେ କଟକରେ ଓକିଲାତି କଲେ। ଉତ୍କଳର ଗଜପତି ଦିବ୍ୟସିଂହ ଦେବ, ସାଧୁ ଶିବାଦାସ’ଙ୍କ ହତ୍ୟା ଅଭିଯୋଗରେ ଅଭିଯୁକ୍ତ ହୋଇ ନିର୍ବାସନ ଦଣ୍ଡରେ ଦଣ୍ଡିତ ହୋଇଥିଲେ । ୬ ଜାନୁଆରୀ ୧୯୨୧ ମସିହାରେ ମଧୁବାବୁ ବିହାର ଓଡ଼ିଶାର ମନ୍ତ୍ରୀରୂପେ ନିଯୁକ୍ତି ପାଇଥିଲେ ।