ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଆଜି ସକାଳେ ଅବପାତରେ ପରିଣତ ହୋଇଛି । ଆସନ୍ତାକାଲି ଏହା ବାତ୍ୟାର ରୂପ ନେବ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି, ବଙ୍ଗୋପସାଗରରେ ସକ୍ରିୟ ୱେଲ୍ ମାର୍କଡ ଲୋପ୍ରେସରଟି ଆଜି ଡିପ୍ରେସନରେ ପରିଣତ ହୋଇଛି । ଏହା ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି । ଅବପାତଟି ପାରାଦୀପ ଉପକୂଳରୁ ୭୩୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବା ବେଳେ ଦକ୍ଷିଣପୂର୍ବ, ପଶ୍ଚିମବଙ୍ଗ ସାଗର ଦ୍ୱୀପରୁ ୭୭୯ କିଲୋମିଟର ଦୂରରେ ଦକ୍ଷିଁଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ ।
ଆସନ୍ତାକାଲି ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ । ଏହାପରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ସକାଳେ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ପରେ ଏହା ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଛି ।
ସମ୍ଭାବ୍ୟ ବାତ୍ୟା ‘ଦାନା’ ଉପକୂଳ ଅତିକ୍ରମ କରିବା ବେଳେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଓ ଝଟକା ପବନ ୧୨୦ କିଲୋମିଟର ଛୁଇଁପାରେ ବୋଲି ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ଅଳ୍ପ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।