‘ଆୟୁଷ୍ମାନ ଭାରତ’ ଏମଓୟୁ ପାଇଁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ବର: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଓଡ଼ିଶାରେ ଆରମ୍ଭ ହେବ ନୂଆ ଅଧ୍ୟାୟ । ରାଜ୍ୟରେ ଖୁବ୍‌ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ । ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ ।

ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଆୟୁଷ୍ମାନ ଭାରତ ଲାଗୁ କରିବା ପାଇଁ ହେବ MoU ସ୍ୱାକ୍ଷର । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି । ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ମାଧ୍ୟମରେ ମିଳିବ ସ୍ୱାସ୍ଥ୍ୟସେବା ।

ସୂଚନାଯୋଗ୍ୟ, ରାଜ୍ୟ ସରକାର ଆସନ୍ତା ଫେବୃଆରୀରୁ ଏହାକୁ ଲାଗୁ କରିବା ସହ ଏପ୍ରିଲରୁ ପୂର୍ଣ୍ଣାଙ୍ଗ ଭାବେ କାର୍ଯ୍ୟକ୍ଷମ କରାଇବେ । ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କୁ ମଧ୍ୟ ଆୟୁଷ୍ମାନ ଯୋଜନାରେ ସାମିଲ ହେବା ପାଇଁ ପ୍ରକ୍ରିୟା ଚଳିତମାସ ଶେଷ ସୁଦ୍ଧା ଆରମ୍ଭ କରାଯିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି । ଓଡ଼ିଶାରେ ଜାରି ରହିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ନୂଆ ନାଁ-ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା) ସହ ଆୟୁଷ୍ମାନ ଭାରତ ଯୋଜନାକୁ ଲାଗୁ କରାଯିବ ।