ଚାକିରିରୁ ବିଦା ହେବେ ଅପାରଗ ସରକାରୀ ଅଧିକାରୀ ଓ କର୍ମଚାରୀ


ଭୁବନେଶ୍ବର: ଠକୁ ଥିବା ସରକାରୀ ଅଧିକାରୀ ଓ କର୍ମଚାରୀ ଚାକିରିରୁ ହେବେ ବିଦା । କାର୍ଯ୍ୟରେ ଅବହେଳା ସହ ସଚ୍ଚୋଟତାର ଅଭାବ ଥିବା ଅପାରଗ ଅଧିକାରୀ ଓ କର୍ମଚାରୀଙ୍କ ବିରୋଧରେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ । ପ୍ରକୃତ ଅବସର ତାରିଖ ପୂର୍ବରୁ ଚାକିରିରୁ ହେବେ ବହିଷ୍କୃତ । ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସର୍କୁଲାରକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ।
ଏ ସମ୍ପର୍କିତ ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରିବାକୁ ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ସରକାରଙ୍କ ସର୍କୁଲାରରେ ଦର୍ଶାଯାଇଥିବା ନିୟମଗୁଡ଼ିକୁ ଅନେକ ବିଭାଗ ସମ୍ପୂର୍ଣ୍ଣ ଭାବେ ପାଳନ କରୁ ନଥିବା ନଜରକୁ ଆସିଛି । ଫଳରେ ଯେଉଁ ଉଦ୍ଦେଶ୍ୟରେ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି, ତାହା ଫଳପ୍ରଦ ହେଉନାହିଁ । ସଚ୍ଚୋଟତା ଓ ଦକ୍ଷତାର ମାନରେ ସ୍ପଷ୍ଟ ଅଭାବ ଥିବା ଅଧିକାରୀ ଓ କର୍ମଚାରୀମାନେ ସରକାରୀ ଚାକିରିରେ ରହିଛନ୍ତି । ଏହା କେବଳ ବ୍ୟବସ୍ଥାରେ ଦକ୍ଷତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରୁ ନାହିଁ ବରଂ ଜନସ୍ୱାର୍ଥ ପାଇଁ ମଧ୍ୟ ଅତ୍ୟନ୍ତ କ୍ଷତିକାରକ ସାବ୍ୟସ୍ତ ହେଉଛି । ତେଣୁ କାର୍ଯ୍ୟରେ ସନ୍ଦେହଜନକ ସଚ୍ଚୋଟତା ଓ ଅପାରଗତା ଥିବା ବ୍ୟକ୍ତିମାନଙ୍କୁ ସରକାରୀ ସେବାରୁ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।