ଆଜିଠୁ ଲଘୁଚାପ; ଜୁନ ୧ ଯାଏଁ ଭିଜିବ ଓଡ଼ିଶା


ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ରାଜ୍ୟରେ ବଜ୍ରପାତ ଓ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୫ କିମିରୁ ଅଧିକ ବେଗରେ ପବନ ବହିବାର ସମ୍ଭାବନା ରହିଛି।

ସୂଚନା ଅନୁଯାୟୀ, ପ୍ରାକ୍ ମୌସୁମୀ ବର୍ଷା ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସର୍ବାଧିକ ତାପମାତ୍ରା ୩ରୁ ୪ ଡିଗ୍ରି ହ୍ରାସ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ୩ରୁ ୪ ଡିଗ୍ରି ବୃଦ୍ଧି ହୋଇଛି। ବର୍ଷା, ପବନ ନେଇ ଆଜି ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳ। ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ଓଡ଼ିଶା ଉପକୂଳ ଓ ବାହାରେ ଗଭୀର ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।