ଆଜି ସୁନାବେଶ; ମହଣ ମହଣ ସୁନାରେ ସଜେଇ ହେବେ ମହାବାହୁ


ପୁରୀ: ଆଜି ସୁନାବେଶ। ମହଣ ମହଣ ସୁନାରେ ବିଭୂଷିତ ହୋଇ ଦର୍ଶନ ଦେବେ ଚତୁର୍ଦ୍ଧା ମୂର୍ତ୍ତି । ୩ ରଥ ଉପରେ ଦୈନନ୍ଦିନ ନୀତିକାନ୍ତି ପରେ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ଦର୍ଶନ ଦେବେ ରଥାରୂଢ଼ ୩ ଠାକୁର ।

ନୀତି ନିର୍ଘଣ୍ଟ ଅନୁଯାୟୀ, ସନ୍ଧ୍ୟା ୫ଟାରୁ ସୁନାବେଶ ଆରମ୍ଭ ହେବ । ରାତି ୧୧ଟା ପର୍ଯ୍ୟନ୍ତ ସୁନାବେଶରେ ଦର୍ଶନ ଦେବା ପରେ ବେଶ ଓଲାଗି ହେବ । ଏହାପରେ ୧୧ଟାରେ ଚନ୍ଦନଲାଗି, ରାତି ୧୨ଟାରେ ବଡସିଂହାର ବେଶ, ସାଢ଼େ ୧୨ଟାରେ ବଡ଼ସିଂହାର ଭୋଗ ଅନୁଷ୍ଠିତ ହେବ । ରାତି ସାଢ଼େ ଗୋଟାଏରେ ଶୟନ ଠାକୁର ବିଜେ କରିବେ। ଏହି ବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବା ଆଶା କରାଯାଉଛି ।

ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ ହୋଇଛି । ଗତକାଲି ମଧ୍ୟ ରଥାରୁଢ଼ ଶ୍ରୀଜିଉଙ୍କ ଦର୍ଶନ ଲାଗି ଜନ ସମୁଦ୍ର ପାଲଟିଥିଲା ଶ୍ରୀକ୍ଷେତ୍ର ।