ଆହୁରି ୪୮ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା; ଏହିସବୁ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଥିବା ମୌସୁମୀ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଧରି ବ୍ୟାପକ ବର୍ଷାର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ଭାରତୀୟ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ଆଗାମୀ ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅବଶିଷ୍ଟ ୧୯ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ଆଶଙ୍କା ରହିଛି।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତାକାଲିଠାରୁ ବର୍ଷାର ପରିମାଣ ଆହୁରି ବଢ଼ିବ। କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ପୁଣିଥରେ ଅରେଞ୍ଜ ଆଲର୍ଟ ଜାରି ହୋଇଥିବାବେଳେ ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼ ଓ ସୁନ୍ଦରଗଡ଼ ସମେତ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟ ୧୨ଟି ଜିଲ୍ଲାରେ ବଜ୍ରପାତ ସହ ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇଥିବାବେଳେ ୧୦ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଅନୁଗୁଳ ଜିଲ୍ଲାର ତାଳଚେରରେ ସର୍ବାଧିକ ୮୦ ମିଲିମିଟର ବର୍ଷା ରେକର୍ଡ ହୋଇଛି। ପାଣିପାଗ ବିଶେଷଜ୍ଞଙ୍କ ମତରେ, ବର୍ତ୍ତମାନର ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ଏବଂ ଏହାର ପ୍ରଭାବରେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିପାରେ। ତେବେ ଏହି ବର୍ଷାରୁ ବଡ଼ଧରଣର ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ନାହିଁ।

