Odisha Rain Alert: ୯ ତାରିଖରୁ ବଢ଼ିବ ବର୍ଷା, ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ
ଭୁବନେଶ୍ୱର: ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଏହା ଲଘୁଚାପ ରୂପ ନେଇପାରେ। ଏହାର ପ୍ରଭାବରେ ଆସନ୍ତା ୯ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
୧୦ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବିଶେଷକରି କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୧ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ଆହୁରି ବଢ଼ିପାରେ।
ଇତିମଧ୍ୟରେ ରବିବାର ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଛି। ବାରିପଦାରେ ୧୭.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଭୁବନେଶ୍ୱର, କଟକ ଓ କେନ୍ଦ୍ରାପଡ଼ାର କେତେକ ଅଞ୍ଚଳରେ ମଧ୍ୟ ବର୍ଷା ହୋଇଛି। ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ସୀମାନ୍ତବର୍ତ୍ତୀ ଜିଲ୍ଲା ସମେତ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଆଗାମୀ ଦିନରେ ବର୍ଷା ବଢ଼ିବାର ସମ୍ଭାବନା ରହିଛି।

