Weather Alert: ଓଡ଼ିଶାରେ ୩ ଜିଲ୍ଲାକୁ ଅତିପ୍ରବଳ ବର୍ଷା ସତର୍କତା, ଜାରି ହେଲା ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି। ଉତ୍ତରପଶ୍ଚିମ ଏବଂ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସହ ସଂଲଗ୍ନ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ଆହୁରି ଘନୀଭୂତ ହୋଇ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।
ପାଣିପାଗ ପୂର୍ବାନୁମାନ ଅନୁଯାୟୀ, ଆଜି ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି କାରଣରୁ ତିନୋଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କେତେକ ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି।
ସେହିପରି ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝଡ଼ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ତେଣୁ ପାଣିପାଗର ପରିବର୍ତ୍ତିତ ସ୍ଥିତିକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ସାଧାରଣ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

