ଭୁବନେଶ୍ବର: ଗତ ସୋମବାର ଦକ୍ଷିଣ ଓଡ଼ିଶା ଉପକୂଳର ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ର ସଂଲଗ୍ନ ଉତ୍ତର-ପଶ୍ଚିମ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଏହାର ପ୍ରଭାବ କମି ନଥିବା ବେଳେ ୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, ୧୯ ତାରିଖରେ ଦକ୍ଷିଣ ଓଡ଼ିଶା ଉପକୂଳର ବଙ୍ଗୋପସାଗର ଏବଂ ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ । ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ।
ସେହିପରି ଆଜି ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବ । ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୮ ତାରିଖରେ ମଧ୍ୟ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ , ଖୋର୍ଦ୍ଧା, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।