ଭୁବନେଶ୍ବର: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ଆଜି ୱେଲ୍ ମାର୍କଡ ଲୋ-ପ୍ରେସର କ୍ଷେତ୍ରରେ ପରିଣତ ହୋଇଛି । ୨୪ ଘଣ୍ଟାରେ ଏହା ଅବପାତରେ ପରିଣତ ହେବ । ଏହା ପ୍ରଭାବରେ ଆଗାମୀ ୪ ଦିନ ରାଜ୍ୟରେ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ୪ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛି ଜିଲ୍ଲାରେ ମୂଷଳଧାରାରେ ବର୍ଷା ହୋଇପାରେ । ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କନ୍ଧମାଳ, ବୌଦ୍ଧ ଓ ପୁରୀରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହି ଜିଲ୍ଲାଗୁଡ଼ିକୁ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ଆଉ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କାଲି ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
୨୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ । ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶା ଉପକୂଳ ଓ ସଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବୋହିପାରେ । ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖା ଦେଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଅନ୍ୟପକ୍ଷରେ ସମ୍ଭାବ୍ୟ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଭାବିତ ଆଶଙ୍କା ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।