ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ, ମଧ୍ୟାହ୍ନରେ ପୁରୀ ଉପକୂଳ ଅତିକ୍ରମ କରିବ


ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅବପାତଟି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଘଣ୍ଟା ପ୍ରତି ୭ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ପୁରୀଠାରୁ ୧୧୦ କିମି ଦୂର କେନ୍ଦ୍ରୀଭୂତ ହୋଇଛି । ଆଜି ମଧ୍ୟାହ୍ନରେ ପୁରୀ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । 

ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବା ସହ ଉପକୂଳ ଓଡ଼ିଶାରେ ୪୦ରୁ ୬୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଅନ୍ୟପକ୍ଷରେ ଭୀଷଣ ବର୍ଷା ନେଇ ଆଜି ୫ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି । ପୁରୀ, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରେ ୨୦ ସେଣ୍ଟିମିଟର ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଓ ଅନ୍ୟ ୧୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଧାମରା, ପାରାଦୀପ, ପୁରୀ ଓ ଗୋପାଳପୁର ପୋର୍ଟକୁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି ।