ଲଘୁଚାପ ସକ୍ରିୟ, ରାଜ୍ୟରେ ଆହୁରି ଦୁଇ ଦିନ ବର୍ଷା


ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ । ପ୍ରଭାବରେ ଆଜିଠୁ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା । ଆଜି ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୧୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।  

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ।

୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି ।  ସମ୍ଭାବ୍ୟ ବର୍ଷା ପ୍ରଭାବରେ ରାଜ୍ୟରେ ଶୀତ ଲହରି ସାମାନ୍ୟ କମିଛି । ୪ ଦିନ ପରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇପାରେ । ଏନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।