ଜମନକିରା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ମହୋତ୍ସବ ଅନୁଷ୍ଠିତ


ଜମନକିରା : ଜମନକିରା ବ୍ଲକ ବଡ଼ରମା ପଞ୍ଚାୟତ ଚିନିମହୁଲ ଠାରେ ଅବସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ତୃତୀୟ ବାର୍ଷିକ ମହୋତ୍ସବ ପାଳିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଦର୍ଶ ବିଦ୍ୟାଳୟର ଅଧକ୍ଷ କୃଷ୍ଣଚନ୍ଦ୍ର ନନ୍ଦ ଅଧ୍ୟକ୍ଷତା କରୁଥିବା ବେଳେ ମୁଖ୍ୟଅତିଥି ଭାବେ ଜମନକିରା ବିଡ଼ିଓ ରବୀନ୍ଦ୍ର କୁମାର ସେଠି ଯୋଗ ଦେଇଥିଲେ। ସମ୍ମାନିତ ଅତିଥିଭାବେ ଜମନକିରା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦେବକୀ ନାଏକ, ଧନକଉଡା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷା ସନ୍ଧ୍ୟାରାଣୀ ସ୍ୱାଇଁ, ଜମନକିରା ପଞ୍ଚାୟତ ହାଇସ୍କୁଲ ପ୍ରଧାନ ଶିକ୍ଷୟତ୍ରୀ ସୁଜାତା ବେହେରା, ବଡ଼ରମା ସରପଞ୍ଚ ବିଜୟ ନାଏକ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗଙ୍ଗାରାମ ନାୟକ ପ୍ରମୁଖ ମଞ୍ଚଶୀନ ଥିଲେ। ସେହିପରି ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଷଣ୍ଢପଥର ଏସ.ଏସ.ଡ଼ି ହାଇସ୍କୁଲ ପ୍ରଧାନ ଶିକ୍ଷକ ରାଜେନ୍ଦ୍ର କୁମାର ଜଗତ ଯୋଗ ଦେଇଥିଲେ। ଜମନକିରା ଓଡିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକ ଅଜିତ କୁମାର ନାଏକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଜମନକିରା ଓଡିଶା ଆଦର୍ଶ ବିଦ୍ୟାଳୟ ସତ୍ୟମ କୁମାର ଷଡ଼ଙ୍ଗୀ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟ ଶିକ୍ଷକ ବିନୟ ଲାଲ ନାଏକ, ଶିକ୍ଷୟତ୍ରୀ ଅଙ୍କିତା ବେହେରା, ରଶ୍ମିତା ଟୀଗା ପୁରସ୍କାର ବିତରଣରେ ସାହାଯ୍ୟ କରିଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ଖେଳ ପ୍ରତିଯୋଗିତା ହୋଇଥିଲା ଓ ଏଥିରେ ଉତ୍ତୀର୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟଅତିଥି ଓ ସମ୍ମାନିତ ଅତିଥି ମାନେ ଟ୍ରଫି ଓ ମାନପତ୍ର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟତ୍ରୀ ଙ୍କୁ ସମ୍ମାନିତ କରାଯାଇଥିବା ବେଳେ ବିଦ୍ୟାଳୟରେ ରାନ୍ଧୁଣି ଭାବେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ତାଙ୍କ କାର୍ଯ୍ୟ ପାଇଁ ସମ୍ମାନିତ କରାଯାଇଛି। ଅପରାହ୍ନ ୩ଟାରେ ବିଦ୍ୟାଳୟ ଛାତ୍ର ଛାତ୍ରୀଙ୍କ ଦ୍ୱାରା ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

ଗଜପତି ଜିଲ୍ଲାରେ ଆନ୍ଧ୍ର ଅଧିକାରୀମାନଙ୍କ ବେଆଇନ ପ୍ରବେଶକୁ ପ୍ରଶୟ ଦିଆଯିବ ନାହିଁ…. ଗଜପତି ଜିଲ୍ଲାପାଳ ପାରଳାଖେମୁଣ୍ଡି,୧୯/୭(ଗରୁଡ ଧ୍ୱଜ ଚୌଧୁରୀ) ଓଡ଼ିଶା ସୀମାରେ ଆନ୍ଧ୍ର ଅଧିକାରୀଙ୍କ ଅନୁପ୍ରବେଶ କରି ଓଡ଼ିଶାର 3 ଗୋଟି ଗାଁକୁ ଆନ୍ଧ୍ରର ବୋଲି ଦାବି କରିବା ବ୍ୟର୍ଥ ଉଦ୍ୟମକୁ କେବେ ବି ସଫଳ କରି ଦିଆଯିବନାହିଁ. ଓଡିଶା ତଥା ଗଜପତି ଜିଲ୍ଲାର ପରିସୀମା ମଧରେ ଆନ୍ଧ୍ର ଅଧିକାରୀଙ୍କ ବେଆଇନ ପ୍ରବେଶ ଓ ବିଭିନ୍ନ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟକୁ କେବେ ବି ପ୍ରଶୟ ଦିଆ ଯିବନାହିଁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଦୃଢତାର ସହ ପ୍ରକାଶ କରିଛନ୍ତି.ଏହି ଘଟଣା ନେଇ ଗଜପତି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ ଆକସନ୍ ମୁଡ୍‌ରେ ରହିଥ‌ିବା ଜଣାପଡ଼ିଛି। ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅଧୀନ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା, ଆମରିଙ୍ଗି ଓ ବୁରୁସିଂ ଆଦି 3 ଗୋଟି ଗ୍ରାମକୁ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର ପଣ୍ଡା ପହଞ୍ଚି ଲୋକଙ୍କ ସହ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଆନ୍ଧ୍ରର କୌଣସି ଅଧିକାରୀ ଆସିଲେ ଡରିବାର ନାହିଁ. ତୁରନ୍ତ ପ୍ରଶାସନକୁ ଜଣାଇବାକୁ ଜିଲ୍ଲାପାଳ ଗ୍ରାମବାସୀଙ୍କୁ କହିଛନ୍ତି. ଓଡ଼ିଶା ଜାଗା ଛାଡିବୁନି କି ଆନ୍ଧ୍ର ଜାଗା ମାଡ଼ିବୁ ନାହିଁ ବୋଲି ଜିଲ୍ଲାପାଳ ବିଜୟ କୁମାର ଦାସ ଗ୍ରାମବାସୀମାନଙ୍କୁ ଦୃଢତାର ସହ ପ୍ରକାଶ କରିଛନ୍ତି। ଏଥିସହ ମାଣିକପାଟଣାରେ ତିଆରି ହୋଇଥିବା ଆନ୍ଧ୍ରର ଅଙ୍ଗନବାଡ଼ି କେନ୍ଦ୍ରକୁ ବୁଲି ଦେଖୁବା ସହ ଉକ୍ତ କେନ୍ଦ୍ରର ସୀମା ଚିହ୍ନଟ ପାଇଁ ରାୟଗଡ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୀମାକୁ ନେଇ କୌଣସି ବିବାଦ ନାହିଁ ଉନ୍ନୟନ କାର୍ଯ୍ୟ ହୋଇଥିବା ଅଞ୍ଚଳ ଓଡ଼ିଶାର, ଓଡ଼ିଶା ସୀମା ଭିତରେ ହିଁ ରହିଛି. ଗତ କିଛି ଦିନ ତଳେ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଏହି ଅଞ୍ଚଳ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିବା ପରେ ଯେଉଁ ରିପୋର୍ଟ ପ୍ରଦାନ କରିଛନ୍ତି ଆନ୍ଧ୍ରର ଶ୍ରୀକାକୁଲମ ଜିଲ୍ଲାପାଳଙ୍କୁ ଚିଠି ଲେଖୁ ଜଣାଇ ଦିଆଯାଇଛି। ଏହି ଗସ୍ତ ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ତ୍ରିପାଠୀ, ସିଡିପିଓ ବି. କାମଳାଙ୍ଗୀ, ଏସ୍‌ ଡିପିଓ ମାଧବାନନ୍ଦ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ, ଗାରାବନ୍ଧ ଥାନା ଅଧିକାରୀ ପ୍ରଶାନ୍ତ ନିଶିକା ପ୍ରମୁଖଙ୍କ ସହ କେତେଜଣ ପ୍ରଶାସନିକ ଅଧିକାରୀ ଏହି 3 ଗୋଟି ଗ୍ରାମକୁ ଉପଜିଲ୍ଲାପାଳଙ୍କ ସହ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିଥିଲେ। ମୋଟାମୋଟି ଭାବେ ଏହି ସମସ୍ତ ଅଞ୍ଚଳ କେବଳ ଓଡିଶାର ଏବଂ ଗଜପତି ଜିଲ୍ଲା ଅଧୀନରେ ରହିଥିବା ସ୍ପଷ୍ଟ ହୋଇଯାଇଛି. ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଆହୁରି ଅନେକ ବିକାଶମୂଳକ ଜନ ହିତକର କାର୍ଯ୍ୟ କରାଯିବ. ତେଣୁ ଅଞ୍ଚଳବାସୀ ଆନ୍ଧ୍ରର କେତେକ ଅଧିକାରୀଙ୍କ ବିଭ୍ରାନ୍ତିମୂଳକ ଓ ଭୁଲ ତଥ୍ୟକୁ କୌଣସି ଭାବେ ଗୁରୁତ୍ୱ ନ ଦେଇ ଓଡିଶା ପ୍ରଶାସନର ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ନିଜ ନିଜକୁ ସାମିଲ କରି ଏହି ଅଞ୍ଚଳର ଉନ୍ନତି ଓ ବିକାଶ ପାଇଁ ସହଯୋଗ କରନ୍ତୁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ନିବେଦନ କରିଛନ୍ତି.