ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ


ପୁରୀ: ମାଘ କୃଷ୍ଣ ଦ୍ୱିତୀୟା ତିଥି ଅବସରରେ ବଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଲାଗି ହେବ ବନକ ଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବା ପରେ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏନେଇ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦତ୍ତ ମହାପାତ୍ର ସେବକମାନଙ୍କ ଦ୍ୱାରା ଏହି ଗୁପ୍ତ ନୀତି ସମାପନ କରାଯିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।