ସିବିଆଇ ତଦନ୍ତକୁ ବିରୋଧ କରି ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଆବେଦନ ଖାରଜ… ସିବିଆଇ ପକ୍ଷରୁ କେସ୍ ଡାୟାରୀ ଦାଖଲ ହୋଇଥିବା ବେଳେ ହାଇକୋର୍ଟ ଶୁଣାଣି ଶେଷ #BishnupadaSethi


ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ୍ ମାମଲା । ଶୁକ୍ରବାର ସିବିଆଇ ପକ୍ଷରୁ କେସ୍ ଡାୟାରୀ ଦାଖଲ ହୋଇଥିବା ବେଳେ ହାଇକୋର୍ଟ ଶୁଣାଣି ଶେଷ କରିଛନ୍ତି । ବିଚାରପତି ଜଷ୍ଟିସ୍ ଭି. ନରସିଂହ ରାୟ ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି ।

ସିବିଆଇ ତଦନ୍ତକୁ ବିରୋଧ କରି ହୋଇଥିବା ଆବେଦନ ଖାରଜ ହେବା ପରେ ସମ୍ଭାବ୍ୟ ଗିରଫଦାରୀକୁ ଏଡ଼ାଇବା ଲାଗି ଶ୍ରୀ ସେଠୀ ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲେ ।

ହାଇକୋର୍ଟ ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି । ହେଲେ ରାୟ ପ୍ରକାଶ ପର୍ଯ୍ୟନ୍ତ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିବ ।

କହିରଖୁ କି, ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବିରୋଧରେ ବେଆଇନ ଅର୍ଥ କାରବାରକୁ ନେଇ ସିବିଆଇ ମାମଲା ରୁଜୁ କରିଥିଲା । ବିଷ୍ଣୁପଦ ସେଠୀଙ୍କ ଘରେ ଚଢ଼ାଉ ମଧ୍ୟ ହୋଇଥିଲା । ସିବିଆଇ ପକ୍ଷରୁ ରୁଜୁ ହୋଇଥିବା ମାମଲାକୁ ରଦ୍ଦ ପାଇଁ ବିଷ୍ଣୁପଦ ସେଠୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ । ହାଇକୋର୍ଟ ପୂର୍ବରୁ ଏହି ମାମଲାରେ ରାୟ ପ୍ରକାଶ କରି ତାଙ୍କ ଆବେଦନକୁ ଖାରଜ କରି ଦେଇଥିଲେ ।

ସୂଚନାନୁସାରେ, ଏକ ବିଲ୍ ପାସ୍ ପାଇଁ ୧୦ ଲକ୍ଷ ଲାଞ୍ଚ କାରବାର ଅଭିଯୋଗରେ ବ୍ରିଜ୍ ଆଣ୍ଡ୍ ରୁଫ୍ କର୍ପୋରେସନ୍ ଲିମିଟେଡ୍ର ଜେନେରାଲ ମ୍ୟାନେଜର୍ ଚଞ୍ଚଳ ମୁଖାର୍ଜୀ, ସନ୍ତୋଷ ମହାରଣା ଏବଂ ଅନ୍ୟମାନଙ୍କ ନାମରେ ସିବିଆଇ ପକ୍ଷରୁ ମାମଲା ରୁଜୁ କରାଯାଇଛି । ଏହି ଲିଙ୍କ୍ରେ ବିଷ୍ଣୁପଦ ସେଠୀଙ୍କ ଘରେ ଚଢ଼ାଉ କରାଯିବା ସହ ବିଭିନ୍ନ ରେକର୍ଡ ପତ୍ର ଯାଞ୍ଚ କରାଯାଇଥିଲା । ବିଷ୍ଣୁପଦ ସେଠୀ ଏବଂ ତାଙ୍କ ପତ୍ନୀଙ୍କ ନାଁରେ ଥିବା ଆକାଉଣ୍ଟକୁ ଅଚଳ କରି ଦିଆଯାଇଥିଲା । ସିବିଆଇ ରେଡ୍କୁ ବିରୋଧ କରି ବିଷ୍ଣୁପଦ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ । ପ୍ରାରମ୍ଭିକ ଶୁଣାଣିରେ ହାଇକୋର୍ଟ କାର୍ଯ୍ୟାନୁଷ୍ଠାନ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଥିଲେ ।

ଗଜପତି ଜିଲ୍ଲାରେ ଆନ୍ଧ୍ର ଅଧିକାରୀମାନଙ୍କ ବେଆଇନ ପ୍ରବେଶକୁ ପ୍ରଶୟ ଦିଆଯିବ ନାହିଁ…. ଗଜପତି ଜିଲ୍ଲାପାଳ ପାରଳାଖେମୁଣ୍ଡି,୧୯/୭(ଗରୁଡ ଧ୍ୱଜ ଚୌଧୁରୀ) ଓଡ଼ିଶା ସୀମାରେ ଆନ୍ଧ୍ର ଅଧିକାରୀଙ୍କ ଅନୁପ୍ରବେଶ କରି ଓଡ଼ିଶାର 3 ଗୋଟି ଗାଁକୁ ଆନ୍ଧ୍ରର ବୋଲି ଦାବି କରିବା ବ୍ୟର୍ଥ ଉଦ୍ୟମକୁ କେବେ ବି ସଫଳ କରି ଦିଆଯିବନାହିଁ. ଓଡିଶା ତଥା ଗଜପତି ଜିଲ୍ଲାର ପରିସୀମା ମଧରେ ଆନ୍ଧ୍ର ଅଧିକାରୀଙ୍କ ବେଆଇନ ପ୍ରବେଶ ଓ ବିଭିନ୍ନ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟକୁ କେବେ ବି ପ୍ରଶୟ ଦିଆ ଯିବନାହିଁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଦୃଢତାର ସହ ପ୍ରକାଶ କରିଛନ୍ତି.ଏହି ଘଟଣା ନେଇ ଗଜପତି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ ଆକସନ୍ ମୁଡ୍‌ରେ ରହିଥ‌ିବା ଜଣାପଡ଼ିଛି। ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅଧୀନ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା, ଆମରିଙ୍ଗି ଓ ବୁରୁସିଂ ଆଦି 3 ଗୋଟି ଗ୍ରାମକୁ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର ପଣ୍ଡା ପହଞ୍ଚି ଲୋକଙ୍କ ସହ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଆନ୍ଧ୍ରର କୌଣସି ଅଧିକାରୀ ଆସିଲେ ଡରିବାର ନାହିଁ. ତୁରନ୍ତ ପ୍ରଶାସନକୁ ଜଣାଇବାକୁ ଜିଲ୍ଲାପାଳ ଗ୍ରାମବାସୀଙ୍କୁ କହିଛନ୍ତି. ଓଡ଼ିଶା ଜାଗା ଛାଡିବୁନି କି ଆନ୍ଧ୍ର ଜାଗା ମାଡ଼ିବୁ ନାହିଁ ବୋଲି ଜିଲ୍ଲାପାଳ ବିଜୟ କୁମାର ଦାସ ଗ୍ରାମବାସୀମାନଙ୍କୁ ଦୃଢତାର ସହ ପ୍ରକାଶ କରିଛନ୍ତି। ଏଥିସହ ମାଣିକପାଟଣାରେ ତିଆରି ହୋଇଥିବା ଆନ୍ଧ୍ରର ଅଙ୍ଗନବାଡ଼ି କେନ୍ଦ୍ରକୁ ବୁଲି ଦେଖୁବା ସହ ଉକ୍ତ କେନ୍ଦ୍ରର ସୀମା ଚିହ୍ନଟ ପାଇଁ ରାୟଗଡ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୀମାକୁ ନେଇ କୌଣସି ବିବାଦ ନାହିଁ ଉନ୍ନୟନ କାର୍ଯ୍ୟ ହୋଇଥିବା ଅଞ୍ଚଳ ଓଡ଼ିଶାର, ଓଡ଼ିଶା ସୀମା ଭିତରେ ହିଁ ରହିଛି. ଗତ କିଛି ଦିନ ତଳେ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଏହି ଅଞ୍ଚଳ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିବା ପରେ ଯେଉଁ ରିପୋର୍ଟ ପ୍ରଦାନ କରିଛନ୍ତି ଆନ୍ଧ୍ରର ଶ୍ରୀକାକୁଲମ ଜିଲ୍ଲାପାଳଙ୍କୁ ଚିଠି ଲେଖୁ ଜଣାଇ ଦିଆଯାଇଛି। ଏହି ଗସ୍ତ ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ତ୍ରିପାଠୀ, ସିଡିପିଓ ବି. କାମଳାଙ୍ଗୀ, ଏସ୍‌ ଡିପିଓ ମାଧବାନନ୍ଦ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ, ଗାରାବନ୍ଧ ଥାନା ଅଧିକାରୀ ପ୍ରଶାନ୍ତ ନିଶିକା ପ୍ରମୁଖଙ୍କ ସହ କେତେଜଣ ପ୍ରଶାସନିକ ଅଧିକାରୀ ଏହି 3 ଗୋଟି ଗ୍ରାମକୁ ଉପଜିଲ୍ଲାପାଳଙ୍କ ସହ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିଥିଲେ। ମୋଟାମୋଟି ଭାବେ ଏହି ସମସ୍ତ ଅଞ୍ଚଳ କେବଳ ଓଡିଶାର ଏବଂ ଗଜପତି ଜିଲ୍ଲା ଅଧୀନରେ ରହିଥିବା ସ୍ପଷ୍ଟ ହୋଇଯାଇଛି. ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଆହୁରି ଅନେକ ବିକାଶମୂଳକ ଜନ ହିତକର କାର୍ଯ୍ୟ କରାଯିବ. ତେଣୁ ଅଞ୍ଚଳବାସୀ ଆନ୍ଧ୍ରର କେତେକ ଅଧିକାରୀଙ୍କ ବିଭ୍ରାନ୍ତିମୂଳକ ଓ ଭୁଲ ତଥ୍ୟକୁ କୌଣସି ଭାବେ ଗୁରୁତ୍ୱ ନ ଦେଇ ଓଡିଶା ପ୍ରଶାସନର ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ନିଜ ନିଜକୁ ସାମିଲ କରି ଏହି ଅଞ୍ଚଳର ଉନ୍ନତି ଓ ବିକାଶ ପାଇଁ ସହଯୋଗ କରନ୍ତୁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ନିବେଦନ କରିଛନ୍ତି.