୧ରେ ପୁଣି ଲଘୁଚାପ, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ଶନିବାର ଦକ୍ଷିଣ ଓଡ଼ିଶାରେ ନିର୍ଧୁମ ବର୍ଷା ହୋଇପାରେ । ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ ନୂଆପଡ଼ାରେ ପ୍ରବଳ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି । ଉତ୍ତର ପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅପରାହ୍ନରେ ଅବପାତରେ ପରିଣତ ହୋଇଛି ।
୨୭ ତାରିଖ ସକାଳ ସୁଦ୍ଧା ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏହା ପୁରୀରୁ ୬୦କିମି, ଗୋପାଳପୁରରୁ ୧୩୦ ଓ ପାରାଦୀପରୁ ୨୩୦ କିମି ଦୂରରେ ଅଛି । ୨୭ରେ ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ମଧ୍ୟ ବିକ୍ଷିପ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୨୮ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।